ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ – ଧର୍ମେନ୍ଦ୍ର ପ୍ରଧାନ
-ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି
ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ
ଭୁବନେଶ୍ୱର : 6/12/2024- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ। ଛାତ୍ରଛାତ୍ରୀ ବିଶେଷ ଭାବରେ ଏସସି, ଏସଟି ଏବଂ ଓବିସି ବର୍ଗର ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ। ବିଦ୍ୟାଳୟସ୍ତରରେ ଶିକ୍ଷାର ମାନରେ ଉନ୍ନତି ହେବ। ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ। ସ୍ଥାନୀୟ ଅଞ୍ଚଳରେ ଅନେକ ନିଯୁକ୍ତି ସୃଷ୍ଟି ହେବ।
ଓଡ଼ିଶାର ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବାର ନିଷ୍ପତ୍ତି ଦ୍ୱାରା ସ୍ଥାନୀୟ ଲୋକମାନଙ୍କର ଥିବା ଦୀର୍ଘ ଦିନର ଆଶା ଓ ଆପେକ୍ଷା ପୂରଣ ହେବାକୁ ଯାଉଛି । ଓଡ଼ିଶାରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ଏହି ନିର୍ଣ୍ଣୟ ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି ।
