ଭୁବନେଶ୍ୱର:୧୬/୩- ଆଧୁନିକ ଓଡିଆ ସାହିତ୍ୟର ପ୍ରଥିତଯଶା କବି ରମାକାନ୍ତ ରଥଙ୍କ ବିୟୋଗରେ ବହୁ ଲେଖକଙ୍କ ସମେତ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଭୂଷଣ ସ୍ଵର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର ଅଳ୍ପ କେତେଜଣ ଶ୍ରେଷ୍ଠ କବିଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ। ସପ୍ତମ ଋତୁ, ଶ୍ରୀରାଧା, ସଚିତ୍ର ଅନ୍ଧାର, କେତେ ଦିନର, ଦୁଆର ଏପଟୁ, ନଯା ନଯା କହୁକହୁ ପରି ଅନେକ କାଳଜୟୀ ରଚନା ତାଙ୍କୁ ସାହିତ୍ୟ ଜଗତରେ ଚିରଦିନ ପାଇଁ ଅମର କରି ରଖିବ ।
ବିଭିନ୍ନ ବିଭାଗ ର ସଚିବ ଓ ମୁଖ୍ୟ ଶାସନ ସଚିବ ଭାବେ ମଧ୍ୟ ରାଜ୍ୟର ବିକାଶରେ ସେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଓଡ଼ିଆ ସାହିତ୍ୟକୁ ଜାତୀୟ ତଥା ଆନ୍ତର୍ଜାତୀୟସ୍ତରରେ ପହଞ୍ଚେଇବାରେ ତାଙ୍କ ଭୂମିକାକୁ ଅସ୍ୱୀକାର କରିହେବନି। କାଳଜୟୀ କାବ୍ୟଗ୍ରନ୍ଥ ଶ୍ରୀରାଧା ପାଇଁ ସରସ୍ୱତୀ ସମ୍ମାନ, ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ସଚିତ୍ର ଅନ୍ଧାର ପାଇଁ ସାରଳା ପୁରସ୍କାର ହାସଲ କରିବା ସହ ସେ ପ୍ରଥିତଯଶା ଲେଖକ ରୂପେ କେନ୍ଦ୍ର ସାହିତ୍ୟ ଏକାଡେମୀର ଫେଲୋସିପ ମଧ୍ୟ ପାଇଥିଲେ।
ତାଙ୍କ ବିୟୋଗରେ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି ଘଟିଛି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରଥଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣେଇଛନ୍ତି। ତାଙ୍କ ପରି ମହାନ ସାହିତ୍ୟିକ ଓ ଯୁଗସ୍ରଷ୍ଟାଙ୍କୁ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
