ଭୁବନେଶ୍ୱର: 17/3-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଛି।ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟର ବିଭିନ୍ନ ଦଳର ବହୁ ରାଜନେତା, ବିଜେପିର କାର୍ଯ୍ୟକର୍ତ୍ତା ଗଭୀର ଶୋକବ୍ୟକ୍ତ କରିଛନ୍ତି।
ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ। ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷିମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ। ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ। ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି।

ରାଜ୍ୟ ବିଜେପିର ସଭାପତି ଭାବେ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ। ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତୁ। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭୁବନେଶ୍ୱର ବିମାନବନ୍ଦରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ଷୀୟାନ୍ ରାଜନେତା ଡାକ୍ତର ପ୍ରଧାନଙ୍କ ଶେଷ ଦର୍ଶନ କରିବା ସହିତ ତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
